ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୬୫୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩୧,୫୨୮,୧୧୪ ଓ ମୃତ୍ୟୁସଂଖ୍ୟା ୪,୨୨,୬୬୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୪୬୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୦୧,୬୧୨ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୯,୪୩୬। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୫,୦୭,୦୬,୨୫୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୮ ତାରିଖ ସୁଦ୍ଧା ସମୁଦାୟ ୪୬,୨୬,୨୯,୭୭୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୨୮,୭୯୫ଟି ନମୁନା।
Related Stories
May 13, 2024
February 14, 2024